୧୧ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

add-all

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ କୌଣସି ପାଣିପାଗ ପ୍ରକ୍ରିୟା ସକ୍ରିୟ ନଥିବା ତଥା ମୌସୁମୀ ନିମ୍ନଚାପ ରେଖା ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ, ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି।

ମୌସୁମୀ ନିମ୍ନ ଚାପ-ରେଖା ଆଜି (ମଙ୍ଗଳବାର) ତା’ର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ରହିବା ସହ ଏହାର ପଶ୍ଚିମ ଭାଗ ହିମାଳୟର ପାଦ ଦେଶରେ ଅବସ୍ଥାନ କରୁଥିବା ବେଳେ, ଏହାର ପୂର୍ବ ଭାଗ ଉତ୍ତରପ୍ରଦେଶର ବାହରିଚ, ଗୋରଖପୁର, ସୁପାଉଲ, କୁଚବିହାରରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି।

ଏହାର ପ୍ରଭାବରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୯ ଅଗଷ୍ଟ, ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନୟାଗଡ଼, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୧୧ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ମଙ୍ଗଳବାର) ଆକାଶ ଆଂଶିକ ମେଘାଛନ୍ନ ରହିବା ସହ ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨.୩ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୧୩.୨ ମିମି ତୁଳନାରେ ୮୩ ପ୍ରତିଶତ କମ ରହିଛି। ଆଗାମୀ ୪ ରୁ ୫ଦିନ ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରବାହ ଜାରି ରହିବାର ସମ୍ଭାବନା ଥିବାରୁ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।

ad-week
Leave A Reply

Your email address will not be published.