ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

add-all

ଭୁବନେଶ୍ବର : ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟର ରାଣୀ ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କର ଗତକାଲି ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ସୁଜ୍ଞାନ କୁମାରୀଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି।
ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏହାସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଓଡ଼ିଶାର ଲୋକକ୍ଷେତ୍ରକୁ ତାଙ୍କର ଅତୁଳନୀୟ ଅବଦାନ ପାଇଁ ସେ ଚିର ସ୍ମରଣୀୟ ହୋଇ ରହିବେ ବୋଲି ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି ରାଜ୍ୟପାଳ ।
ସେହିପରି ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀଙ୍କ ପରଲୋକରେ ଶୋକପ୍ରକାଶ କରିଛନ୍ତି। ଏହାସହ ସୁଜ୍ଞାନ କୁମାରୀଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଧର୍ମେନ୍ଦ୍ର ନିଜ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ ସୁଜ୍ଞାନ କୁମାରୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଦୀର୍ଘ ସମୟ ଧରି ବିଧାୟିକା ଭାବେ ଓଡ଼ିଶାର ଜନମାନସରେ ସେ ସୁପରିଚିତ ଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ରାଜନେତ୍ରୀଙ୍କୁ ହରାଇଲା। ରାଜ୍ୟ ରାଜନୀତି ଜଗତରେ ଜନପ୍ରତିନିଧି ଭାବେ ତାଙ୍କର ଲୋକସେବା କାର୍ଯ୍ୟ ଗୁଡ଼ିକ ଚିର ସ୍ମରଣୀୟ ହୋଇ ରହିବ।
ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀଙ୍କ ପରଲୋକରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଗଭୀର ଶୋକ ପ୍ରକାଶ କରିଛନ୍ତି। ସୁଜ୍ଞାନ କୁମାରୀ ଜଣେ ଏଭଳି ବ୍ୟକ୍ତିତ୍ୱ ଯିଏ କ୍ଷମତା ପାଇଁ କେବେ ଲାଳାୟିତ ନଥିଲେ। ବାରମ୍ବାର ମନ୍ତ୍ରୀ ପଦ ପାଇଁ ଅଫର ମିଳିଥିଲେ ବି ସେ ଏହାକୁ ଗ୍ରହଣ କରିନଥିଲେ। ସେ ଜଣେ ରୋଲ ମଡେଲ୍ ଥିଲେ। ମୋ ପ୍ରତି ତାଙ୍କର ସ୍ନେହ ଥିଲା । ଖରାପ ସମୟରେ ସେ ମୋତେ ଉତ୍ସାହିତ କରିବା ସହ ଭରସା ଦେଉଥିଲେ ବୋଲି ଏକ୍ସରେ ଲେଖିଛନ୍ତି ବୈଜୟନ୍ତ ।
ସେହପରି ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀଙ୍କ ପରଲୋକରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର ଓ ବିଜେପିର ବରିଷ୍ଠ ନେତା ବିଜୟ ମହାପାତ୍ର ଶୋକପ୍ରକାଶ କରିଛନ୍ତି।

ad-week
Leave A Reply

Your email address will not be published.