ମାଆ ବିଦ୍ୟାଦାୟିନୀଙ୍କ ପୂଜା ଲାଗି ସାରା ରାଜ୍ୟ ଉତ୍ସବମୁଖର

add-all

ଆଗାମୀ କାଲି ଅନୁଷ୍ଠିତ ହେବ ମା ବିଦ୍ୟାଦାୟିନୀ ସରସ୍ୱତୀଙ୍କ ପୂଜା | ଏଥିଲାଗି ସାରା ରାଜ୍ୟ ଉତ୍ସବମୁଖର ହୋଇ ଉଠିଛି |  ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ଏହି ପୂଜା ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ମା ସରସ୍ୱତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ୱେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ମା ସରସ୍ୱତୀ ବିଦ୍ୟାର୍ଥୀଙ୍କୁ ଓ ସଙ୍ଗୀତ ସାଧକଙ୍କୁ ଅଶେଷ କୃପା ପ୍ରଦାନ କରିଥାନ୍ତି ।
ମାଘମାସ ଶୁକ୍ଳ ପଞ୍ଚମୀକୁ ଶ୍ରୀପଞ୍ଚମୀ ବା ବସନ୍ତପଞ୍ଚମୀ ଭାବେ ପାଳନ କରାଯାଏ । ଋତୁରାଜ ବସନ୍ତ ମନ୍ଦ ମଳୟରେ ଫୁଲର ସୁରଭି ଭରି ସ୍ୱାଗତ କରେ ବିଦ୍ୟାଦାୟିନୀ ମା’ ସରସ୍ୱତୀଙ୍କୁ ମାଘ ଶୁକ୍ଳ ପଞ୍ଚମୀରେ । ଶୁକ୍ଳ ପ୍ରତିପଦାଠାରୁ ଆରମ୍ଭ ହେଇଥାଏ ଗୁପ୍ତ ନବରାତ୍ର । ଏହି ଗୁପ୍ତ ନବରାତ୍ରରେ ଦୈବୀଶକ୍ତିଙ୍କର ପୂର୍ଣ୍ଣ ପ୍ରଭାବଥାଏ । ମା’ ଯୋଗମାୟା ଆଦ୍ୟାଶକ୍ତିଙ୍କ କଣ୍ଠରୁ ସରସ୍ୱତୀ ସମ୍ଭୁତା । ମା’ ସରସ୍ୱତୀ, ମା’ ଲକ୍ଷ୍ମୀ , ମା’ କାଳୀ ତିନୋଟି ସ୍ୱରୂପ ଆଦ୍ୟାଶକ୍ତିଙ୍କର । ମାଘ ଶୁକ୍ଳ ପଞ୍ଚମୀରେ ଆଦ୍ୟାଶକ୍ତି ମହାସରସ୍ୱତୀ ସ୍ୱତନ୍ତ୍ର ରୂପରେ ପୂଜା ପାଇଥାନ୍ତି । ପ୍ରାଚୀନ କାଳରେ ରାଜା ମହାରାଜାମାନେ ଏହି ଦିନକୁ କୌମୁଦୀ ମହୋତ୍ସବ ରୂପେ ପାଳନ କରୁଥିଲେ । ଫୁଲରେ ରାଜଉଆସ ସଜା ହେଉଥିଲା, ଫୁଲର ଦୋଳିରେ ରାଜାରାଣୀ ଦୋଳି ଖେଳୁଥିଲେ, ପ୍ରଜାମାନେ ଆସି ରାଜ ଉଆସରେ ଭୋଜନ କରୁଥିଲେ । ମାଘ ପଞ୍ଚମୀରେ ଗୋପୀମାନେ ମଧ୍ୟ କୃଷ୍ଣଙ୍କ ସହ ରାସ ଉତ୍ସବ ମନାଉଥିଲେ ।
କେତେକ ଅଞ୍ଚଳରେ ପବିତ୍ରତାର ସହ ଉଭୟ ସ୍ୱାମୀ-ସ୍ତ୍ରୀ ମାଘ ଶୁକ୍ଳ ପଞ୍ଚମୀକୁ ପ୍ରେମ ଦିବସ ରୂପେ ପାଳନ କରିଥାନ୍ତି । କାମଦେବ ଓ ରତିଙ୍କୁ ହଳଦିଆ ଫୁଲରେ ପ୍ରତିମା କରି ଦାମ୍ପତ୍ୟ ସୁଖପାଇଁ ପୂଜା କରିଥାନ୍ତି । ଶାସ୍ତ୍ର ଅନୁସାରେ ଶ୍ରୀପଞ୍ଚମୀ ଦିନ ବିବାହ , ନିର୍ବନ୍ଧ କାର୍ଯ୍ୟ କଲେ ଦାମ୍ପତ୍ୟ ଜୀବନ ସୁଖମୟ ହୋଇଥାଏ । ଯେଉଁମାନଙ୍କର ବିବାହ ହେଇପାରୁନି , ସେମାନେ ଏହି ସମୟରେ ଶ୍ରଦ୍ଧା ଭକ୍ତିର ସହ ହଳଦୀ ଲଗାଇ ସ୍ନାନକରି ହଳଦିଆ ବସ୍ତ୍ର ପରିଧାନ କରି କୃଷ୍ଣ ଭଗବାନଙ୍କୁ ହଳଦିଆ ବସ୍ତ୍ରରେ ସଜାଇ ହଳଦିଆ ଫୁଲରେ ସଜାହେଇଥିବା ଝୁଲାରେ ଝୁଲାଇ ବସନ୍ତ ଉତ୍ସବ ପାଳନ କଲେ ବିବାହ ସହଜରେ ହୋଇଯାଏ ବୋଲି ବିଶ୍ୱାସ ରହିଛି ।
ସୂର୍ଯ୍ୟୋଦୟ ପୂର୍ବରୁ ବିଦ୍ୟାର୍ଥୀଗଣ ଉଠି ଫୁଲ ତୋଳନ୍ତି । ଘରକୁ ଫୁଲକୁ ଆଣି ଗାଧୋଇପାଧୋଇ ଉପବାସ କରିବା ସଙ୍ଗେସଙ୍ଗେ ନୂଆ ବସ୍ତ୍ର ପରିଧାନ କରି ଫୁଲରେ ମାଳ ଗୁନ୍ଥି ଦେବୀ ସରସ୍ୱତୀଙ୍କ ପୂଜା କରି ପୁଷ୍ପାଞ୍ଜଳି ଦିଅନ୍ତି । ପୁଷ୍ପମାଳା ସୁଶୋଭିତ ଦେବୀଙ୍କ ମୂର୍ତ୍ତି ଘଣ୍ଟ, ଘଣ୍ଟା ଏବଂ ଶଙ୍ଖ ଆଦି ବାଦ୍ୟ ବାଦନ ମଧ୍ୟରେ ପୂଜିତ ହୁଅନ୍ତି । କୁନ୍ଦପୁଷ୍ପ ଦେବୀ ସରସ୍ୱତୀଙ୍କର ଅତି ପ୍ରିୟ । ଭୋଗ ଭାବେ ଖଇ, ଉଖୁଡ଼ା, ନଡ଼ିଆ ଆଦି ବଢ଼ାଯାଇଥାଏ । ପଞ୍ଚାମୃତ ରୂପରେ ଦୁଧ, ଘିଅ, ଦହି, ମହୁ ଓ ଶର୍କରା ଏକତ୍ର କରି ଦେବୀଙ୍କୁ ପ୍ରଦାନ କରାଯାଏ । ଦେବୀଙ୍କ ଆଗରେ ହୋମ ମଧ୍ୟ କରାଯାଏ । ସରସ୍ୱତୀ ପୂଜା ଦିନ ପୁରାଣ ଗ୍ରନ୍ଥ ସହ ନିଜର ପୁସ୍ତକାଦି ପୂଜା କରିବା ବିଧେୟ । ଏହି ଦିନ ଧଳାବସ୍ତ୍ର, ଧଳାଫୁଲ, ଫଳ ମା’ଙ୍କୁ ଅର୍ପଣ କରାଯାଏ । ସରସ୍ୱତୀ ଯନ୍ତ୍ର ପୂଜା କରନ୍ତୁ । ଲାଲ କାଳିରେ ଲେଖି ଚନ୍ଦନ ଲଗାଇ ଧଳା ଫୁଲ ଚଢ଼ାଇ ମା’ଙ୍କୁ ପୂଜା କରାଯାଏ । ମା’ ସରସ୍ୱତୀଙ୍କ ଆରାଧନା, ପୂଜାରେ ଦହି, ଧଳା ଫୁଲ, ଚନ୍ଦନ, ଆଖୁ, ଖିରୀ, ଧଳା ବସ୍ତ୍ର, ମୋତି, ରୂପା, ଧଳାମାଳି ଅଳଙ୍କାର ,ଅଦା, ଅଁଳା, ଘିଅ, ନଡ଼ିଆ, ଋତୁଫଳ ସ୍ୱରୂପ ବରକୋଳି ଅର୍ପଣ କରାଯାଏ ।
ଏହି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପଞ୍ଚପଲ୍ଲବ ଲାଗି ହୁଏ ଓ ରଥଯାତ୍ରା ନିମନ୍ତେ ରଥକାଠ ଅନୁକୂଳ କରାଯାଏ । ପୌରାଣିକ ମତରେ ଶ୍ରୀକୃଷ୍ଣ ଶ୍ରୀରାଧା ଏକତ୍ର ପୁଷ୍ପ ଆଭରଣ ମଣ୍ଡିତ ପୂର୍ବକ ଫଗୁ ବା ଚାଚେରୀ ଖେଳୁଥିବାର ସ୍ମୃତି ସ୍ୱରୂପ ବସନ୍ତ ପଞ୍ଚମୀ ପାଳିତ ହୋଇଥାଏ । ମାଘ ଶୁକ୍ଳ ପଞ୍ଚମୀରେ ଶ୍ରୀଜୀଉମାନଙ୍କର ଘୋଡ଼ବସ୍ତ୍ର କଢ଼ାଯାଇ ‘ଜାମାଲାଗି’ ବସ୍ତ୍ର ପିନ୍ଧାଯାଏ । ଉକ୍ତ ତିଥିରେ ଶ୍ରୀଜଗନ୍ନାଥଙ୍କର ପାରମ୍ପରିକ ରଥଯାତ୍ରାର ରଥ ନିର୍ମାଣ ନିମନ୍ତେ ପ୍ରଥମ କରି ରଥକାଠ ବନବିଭାଗରୁ ଶ୍ରୀକ୍ଷେତ୍ରକୁ ଆସି ରାଜନଅର ସମ୍ମୁଖରେ ତିନିବାଡ଼ର ତିନିରଥ ନିର୍ମାଣ ନିମନ୍ତେ ତିନିଗୋଟି କାଠକୁ ପାରମ୍ପରିକ ଭାବେ ପୂଜାର୍ଚ୍ଚନା କରାଯାଇ ଶୁଭ ଦିଆଯାଇଥାଏ । ସେହି ତିନିଗୋଟି କାଠଗଣ୍ଡିରେ ତିନିରଥର କୋଣଗୁଜ ନିର୍ମାଣ କରାଯାଇ ନୃସିଂହଙ୍କ ମୂର୍ତ୍ତି ଖୋଦେଇ କରାଯାଏ ।

ad-week
Leave A Reply

Your email address will not be published.