ସମ୍ବଲପୁରରେ ଲୋକଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ଜନଶୁଣାଣି ପାଇଁ ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର। କାରଣ ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିବା ପାଇଁ କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି ତାଙ୍କ ସହିତ ଥିଲେ ୧୦ ଜଣ ମନ୍ତ୍ରୀ ଓ ରାଜ୍ୟ ପ୍ରଶାସନର ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀ।

ଆଜି ଅଭିଯୋଗ ଶୁଣାଣିର ୧୦ମ ପାଳି ଥିଲା। ଅନ୍ୟ ନଅ’ଟି ପାଳି ଠାରୁ ଏହା ଭିନ୍ନ ରହିଥିଲା। କାରଣ ସରକାରଙ୍କ ପାଖକୁ ଲୋକ ଆସି ନାହାନ୍ତି ବରଂ ସରକାର ଲୋକଙ୍କ ଅଭିଯୋଗ ଶୁଣିବାକୁ ଯାଇଥିଲେ।

ଗତ କାଲି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ ସମ୍ବଲପୁରରେ ପହଞ୍ଚି ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ରାଜ୍ୟବାସୀଙ୍କ କଲ୍ୟାଣ ପାଇଁ ପ୍ରାର୍ଥନା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସମ୍ବଲପୁରରେ ଏ ଜନ ଶୁଣାଣି କାର୍ଯ୍ୟକ୍ରମ ସମସ୍ତଙ୍କ ପାଇଁ ଶୁଭଙ୍କର । ସରକାରଙ୍କ ପାଇଁ, ଲୋକଙ୍କ ପାଇଁ, ଓଡ଼ିଶା ରାଜ୍ୟ ପାଇଁ ଓ ସର୍ବୋପରି ଗଣତନ୍ତ୍ର ପାଇଁ ଏକ ସକରାତ୍ମକ ବାର୍ତ୍ତା ଦେଉଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମର ଉଦ୍ଦେଶ୍ୟ ହେଉଛି ରାଜ୍ୟର ବୃହତ୍ତର ବିକାଶର ଲକ୍ଷ୍ୟ ପୂରଣ ଭିତରେ ଗରିବ, ଅସହାୟ ଲୋକଙ୍କ ଦୁଃଖକୁ ଆମେ ଯେପରି ନଜରଅନ୍ଦାଜ୍ ନ କରୁ। ସେମାନେ ଯେପରି ଅନୁଭବ ନ କରନ୍ତି ଯେ, ସେମାନଙ୍କ ଦୁଃଖ ଶୁଣିବା ପାଇଁ କେହି ନାହାନ୍ତି। ପୂର୍ବ ସରକାର ଏଥିପ୍ରତି ଉଦାସୀନ ମନୋଭାବ ପୋଷଣ କରୁଥିଲେ। ଆମେ କିନ୍ତୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜନ ଶୁଣାଣି କରିବା ପାଇଁ ନିଷ୍ପତ୍ତି ନେଇଛୁ।

ସମସ୍ତ ଅଭିଯୋଗର ଶୀଘ୍ର ସମାଧାନ ପାଇଁ ଅଧିକାରୀ ମାନଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ପୂର୍ବ ଜନଶୁଣାଣି କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଗରୁ ଭୁବନେଶ୍ୱରରେ ଆମର ନଅ’ଟି ଜନ ଶୁଣାଣି ହୋଇଛି। ପୂର୍ବ ନଅ’ଟି ପାଳିରେ ୯,୩୭୭ ଲୋକଙ୍କ ଅଭିଯୋଗ ଗ୍ରହଣ କରିଛୁ ଏବଂ ପ୍ରାୟ ୮୮ ପ୍ରତିଶତ ଅଭିଯୋଗର ସମାଧାନ କରାଯାଇଛି। ଅବଶିଷ୍ଟ ଗୁଡିକ ପ୍ରକ୍ରିୟା ଭିତରେ ଅଛି । ଆଜି ୧୦ମ ପାଳିରେ ପ୍ରାୟ ୧୦୦୦ ଜଣ ଅନଲାଇନ ଜରିଆରେ ପଂଜିକୃତ ଓ ଅଫଲାଇନରେ ପ୍ରାୟ ୪୦୦ ଲୋକଙ୍କ ଅଭିଯୋଗ ଗ୍ରହଣ କରାଯାଇଛି ।

ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଉଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ପାଇଁ ୧୮ ଜଣଙ୍କୁ ୧୯ ଲକ୍ଷ ୫୦ ହଜାର ଟଙ୍କାର ଚିକିତ୍ସା ସହାୟତା ପ୍ରଦାନ କରାଯାଇଛି । ଏହି ତତ୍‌କାଳ ସହାୟତା ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଅଭିଯୋଗ ପ୍ରକୋଷ୍ଠରେ ଡାକ୍ତରୀ ଦଳ ମଧ୍ୟ ନିୟୋଜିତ ଥିଲେ। କେବଳ ଚିକିତ୍ସା ସହାୟତା ନୁହେଁ, ଅନ୍ୟାନ୍ୟ ବିଭିନ୍ନ ସମସ୍ୟା ନେଇ ଅଭିଯୋଗକାରୀମାନେ ଆସିଥିଲେ ।

ଅଭିଯୋଗକାରୀଙ୍କ ମଧ୍ୟରେ ଥିଲେ ସମ୍ବଲପୁରର ଦୀପ୍ତିରାଣୀ ପାଢ଼ୀ । ସେ ତାଙ୍କ ପେନ୍ସନ ସଂକ୍ରାନ୍ତୀୟ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଆସିଥିଲେ । ମୁଖ୍ୟମନ୍ତ୍ରୀ ତାଙ୍କ ସମସ୍ୟା ଶୁଣିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ବରଗଡ଼ ଜିଲ୍ଲା ଡୁଙ୍ଗୁରିବାହାଲ ଜଳସେଚନ ପ୍ରକଳ୍ପରୁ ଜଳସେଚନ ସୁବିଧା କରାଇବା ପାଇଁ କିଛି ଲୋକ ଅନୁରୋଧ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କୁ ଏହାର ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଇଂ ଗଣେଶ ରାମ ସିଂ ଖୁଣ୍ଟିଆ, ପଞ୍ଚାୟତିରାଜ ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପ୍ରମୁଖ ଉପସ୍ଥିତ ରହିଥିଲେ। ସେହିପରି

ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିଥିଲେ ।

nis-ad
Leave A Reply

Your email address will not be published.