ଏପ୍ରିଲ ୨୩ରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ, ଜାରି ରହିବ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା

add-all

ଭୁବନେଶ୍ବର: ସ୍କୁଲ ପିଲାଙ୍କ ପାଇଁ ଅପ୍ରେଲ୍‌ ୨୩ ତାରିଖ ଠାରୁ ଖରା ଛୁଟି ଘୋଷଣା ହୋଇଛି। ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂପର୍କରେ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲାମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ ଯେ ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଅପ୍ରେଲ ୨୩ ତାରିଖ ଠାରୁ ୫ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି। ତେବେ, ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡ଼ିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି।

ସ୍କୁଲ ଛୁଟି ନେଇ ଆୟୋଜିତ ସମୀକ୍ଷା ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବିଦ୍ୟାଳୟ ଓ ଗଣଶିକ୍ଷା ତଥା ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୁଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂହ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.