ଆହୁରି ୩ ଦିନ ଗୁଳୁଗୁଳି, ୨୦ ଜିଲ୍ଲାକୁ କାଳବୈଶାଖୀ ସତର୍କତା

youtube

ଭୁବନେଶ୍ୱର: ରାଜ୍ୟରେ ଆହୁରି ୩ ଦିନ ଗୁଳୁଗୁଳି। ଦୁଇ ଦିନ ହେବ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଯୋଗୁଁ ସଂପୃକ୍ତ ଅଞ୍ଚଳରେ ସ୍ଥିତି ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ଦିନରେ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତକାଲି ରାଜ୍ୟର ୧୧ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ୪୩ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଖରା ଓ ଗୁଳୁଗୁଳି ପ୍ରଭାବ ଜାରି ରହିବ।

ସେହିପରି ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ଆଦ୍ରତା ପରିମାଣ ପ୍ରାୟ ୬୦-୭୦ ପ୍ରତିଶତ ରହିଛି। ଯାହାକି ଗୁଳୁଗୁଳି କରାଇବା ପାଇଁ ପରିବେଶକୁ ସୁହାଇଛି। ଅନ୍ୟପଟେ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ଏନେଇ ୨୦ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି।

ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ ପବନ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବହିବା ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, କନ୍ଧମାଳ, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, କଳାହାଣ୍ଡି ଓ କଟକ ଜିଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ଏହି ସମସ୍ତ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପଟେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲାରେ ଉଷ୍ମ ଓ ଆର୍ଦ୍ର ଅବସ୍ଥା ପାଇଁ ୟେଲୋ ୱାର୍ଣ୍ଣିଂ ରହିଛି। ଗତକାଲି ମୌସୁମୀ ଆଣ୍ଡାମାନ ଛୁଇଁଥିବାବେଳେ ଆସନ୍ତା ୨୭ ତାରିଖ ସୁଦ୍ଧା କେରଳ ଛୁଇଁବା ନେଇ ପୂର୍ବାନୁମାନ କରିଛି ଆଇଏମଡି।

Leave A Reply

Your email address will not be published.