
ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ କାୟା ବିସ୍ତାର କରୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଆଉ ୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୪ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଘରକୁ ଫେରିଥିବାବେଳେ, ବର୍ତ୍ତମାନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ ରହିଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ ।
ସେହିପରି ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କୋରୋନାରେ ଜଣକ ଜୀବନ ଯାଇଥିବା ଅଭିଯୋଗ ହୋଇଛି । ହେଲେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ଘୋଷଣା କରାଯାଇନାହିଁ । ଏହା ବ୍ୟତୀତ କୋରୋନାକୁ ନେଇ ରାଜ୍ୟରେ କୌଣସି ନିର୍ଦ୍ଦେଶାବଳୀ ଜାରି ହୋଇନାହିଁ । ୨୦୨୨ ମସିହାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀ ଅନୁସାରେ ସବୁକିଛି ଜାରି ରହିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି ।
ସେହିପରି ଦେଶରେ କୋରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ କୋରୋନାରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮୬୪ ନୂଆ ମାମଲା ଚିହ୍ନଟ ହୋଇଛି । ଦେଶରେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪ହଜାର ୩୦୨ ହୋଇଛି । ତେବେ ୩ ହଜାର ୨୮୧ ଜଣ କୋରୋନାରେ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
ତେବେ କେରଳରେ ସର୍ବାଧିକ ମାମଲା ରହିଥିବାବେଳେ, ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ମହାରାଷ୍ଟ୍ର ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି । ସେହିପରି ତାମିଲନାଡୁ, ଗୁଜୁରାଟ ଓ ଦିଲ୍ଲୀରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।