ମହିଳାଙ୍କ ଦେହରେ ଲାଗିଲା ନିଆଁ; ବାଲେଶ୍ବରରୁ କଟକ ସ୍ଥାନାନ୍ତରିତ

add-all

ବାଲେଶ୍ବର: ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ ଘଟଣା ନେଇ ରାଜ୍ୟରେ ଉତ୍ତେଜନା ପରିସ୍ଥିତି ଦେଖାଯାଇଥିବା ବେଳେ ଆଜି ଜଣେ ମହିଳାଙ୍କ ଦେହରେ ନିଆଁ ଲାଗିବାରୁ ସେ ଗୁରୁତର ହୋଇଛନ୍ତି।
ସୂଚନା ଅନୁସାରେ ସହଦେବଖୁଣ୍ଟା ଥାନା ଏଡିଏମ୍‌ ଛକ ନିକଟରେ ରହୁଥିବା ଜଣେ ମହିଳାଙ୍କ ଦେହରେ ଆଜି ଅପରାହ୍‌ଣରେ ନିଆଁ ଲାଗିଥିଲା। ଏନେଇ ସୂଚନା ମିଳିବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଉଦ୍ଧାର କରିଥିଲା। ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା
ଡାକ୍ତରଖାନା ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ସଂପୃକ୍ତ ମହିଳାଙ୍କ ଶରୀର ୭୦ ପ୍ରତିଶତ ‌ପୋଡ଼ିଯାଇଛି। ସ୍ଥିତି ଗୁରୁତର ଥିବାରୁ ତାଙ୍କୁ ଏଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ବଡ଼ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାର ଅଧିକ ତଦନ୍ତ କରୁଛି।
ସୂଚନାଯୋଗ୍ୟ, ବାଲେଶ୍ବରର କଲେଜ ଛାତ୍ରୀ ଗତ ୧୨ ତାରିଖ ମଧ୍ୟାହ୍ନରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଖୁବ୍ କମ୍ ସମୟ ମଧ୍ୟରେ ତାଙ୍କ ଦେହ ଭୟାନକ ଭାବେ ଜଳି ଯାଇଥିଲା। ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା। ତାଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ଲାଗି ଏମ୍‌ସରେ ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ଗଲା ୬୦ ଘଣ୍ଟା ଧରି ଦିନରାତି ଏକ କରି ଦେଇଥିଲେ। ଦିଲ୍ଲୀ ଏମ୍‌ସର ବିଶେଷଜ୍ଞ ଦଳ ସହିତ ବି ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା। ଶତ ଚେଷ୍ଟା ପରେ ମଧ୍ୟ ସେ ଆଖି ବୁଜିଥିଲେ। ବାଲେଶ୍ବର ଜିଲ୍ଲା ଭୋଗରାଇ ଅଞ୍ଚଳରେ ଥିବା ତାଙ୍କ ଜନ୍ମମାଟିରେ ମଙ୍ଗଳବାର ପୂର୍ବାହ୍‌ଣରେ ଅନ୍ତିମ ସଂସ୍କାର କରାଯାଇଥିଲା।

ad-week
Leave A Reply

Your email address will not be published.