
ଭୁବନେଶ୍ୱର : ପାର୍ବଣକୁ ଫିକା କରିପାରେ ଲଘୁଚାପ । ପୁଣି ଆସୁଛି ଆଉ ଏକ ଲଘୁଚାପ । ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ୩୦ ରେ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ଅକ୍ଟୋବର ୧ରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ । ଉତ୍ତର ଓଡ଼ିଶା ଓ ସଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ୧ ତାରିଖ ବେଳକୁ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି କହିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ।
୨ ତାରିଖରେ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଫଳରେ ଦଶହରା ବେଳକୁ ମଧ୍ୟ ବର୍ଷା ଲାଗି ରହିବ ବୋଲି ସୂଚନା ମିଳିଛି । ଘଣ୍ଟା ପ୍ରତି ୩୫ରୁ ୪୫ କିଲୋମିଟର ବେଗରେ ପବନ ବହିବ । ଏପଟେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସକ୍ରିୟ ରହିଛି । ଏହା ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ । ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି ।
ପୁଣି ୧ରୁ ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥିପାଇଁ ୩୦ଟି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଅନ୍ୟପଟେ ବର୍ତ୍ତମାନ ସବୁ ନଦୀରେ ଜଳସ୍ତର ଅଧିକ ରହିଥିବାରୁ ଆସନ୍ତା ଲଘୁଚାପକୁ ନେଇ ଭୟ ବଢ଼ିଛି । ୨ ତାରିଖରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା କରାଇପାରେ । ତେଣୁ ଆସନ୍ତା ଲଘୁଚାପ ଉପରେ ଏବେ ଠାରୁ ନଜର ରହିଛି ।