
ଭୁବନେଶ୍ୱର : ଆଉ ଦିନ କେଇଟା ପରେ ଆଲୋକର ପର୍ବ ଦୀପାବଳି । ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି । ତେବେ ପ୍ରତିଥର ବାଣକୁ ନେଇ ଗାଇଡଲାଇନ୍ ଆସୁଥିବା ବେଳେ ଚଳିତବର୍ଷ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ବାଣ ଫୁଟାଇବାର ସମୟକୁ ନେଇ ଗାଇଡଲାଇନ୍ ଆସିଛି । ତେବେ ବାଣ ଫୁଟାଇବାର ସମୟ ସନ୍ଧ୍ୟା ୭ ଟାରୁ ୯ ଟା ପର୍ଯ୍ୟନ୍ତ ସୀମିତ ରଖିବାକୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି ।
ସେହିପରି ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବାକୁ ବର୍ଜନ କରାଯାଇଛି । ଲୋକେ ଯେଉଁ ବାଣ ଫୁଟାଇବେ ତା’ର ଶବ୍ଦ ୧୨୫ ଡେସିବଲରୁ ଅଧିକ ହୋଇପାରିବ ନାହିଁ । ଶାନ୍ତି କ୍ଷେତ୍ର ଯେମିତିକି ବଗିଚା,ପାର୍କ , ହସ୍ପିଟାଲ୍ , ଶିକ୍ଷାନୁଷ୍ଠାନ , କୋର୍ଟ, ମନ୍ଦିର ପାଖରେ ବାଣ ଫୁଟାଇବାକୁ ବର୍ଜିତ କରାଯାଇଛି । ଖୋଲା ଜାଗାରେ ଯଦି କେହି ବାଣ ଫୁଟାଇବାକୁ ଚାହିବେ ତାହା ସବୁଜ ବାଣ ହିଁ ହୋଇଥିବ । ଝୁମ୍ପୁଡ଼ି ଘର , ଦୋକାନ, ଅଗ୍ନି-ପ୍ରବଣ ସ୍ଥାନ, ରାସ୍ତା ଏବଂ ଅଧିକ ଯାତାୟାତ ସ୍ଥାନରେ ବାଣ ଫୁଟାଇବାକୁ ବର୍ଜନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୧୦ ବର୍ଷରୁ କମ୍ ବୟସର ଶିଶୁମାନେ ଶବ୍ଦ-ସୃଷ୍ଟି କରୁଥିବା ବାଣ ଫୁଟାଇବାକୁ ଅନୁମତି ଦେଇନି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ । ବାଣ ଫୁଟାଇବା ସମୟରେ ସୁରକ୍ଷା ପ୍ରତି ଧ୍ୟାନ ଦେଇ କଟନ୍ କପଡ଼ା ପିନ୍ଧିବା ପାଇଁ ପରାମର୍ଶ ଦିଆଯାଇଛି ।