କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ: ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, ୨୬ ଫେବୃଆରୀ (ନିସର୍ତ୍ତ ନ୍ୟୁଜ): କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆସନ୍ତା ମାର୍ଚ୍ଚ ୫ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତକୁ ସୁଚାରୁ ରୂପେ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଗୁରୁବାର ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ମାର୍ଚ୍ଚ ୫ ତାରିଖ ସନ୍ଧ୍ୟାରେ ଏକ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ନୂଆଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚିବେ। ୬ ତାରିଖ ପୂର୍ବାହ୍ନରେ ସେ କଟକ ମୁଣ୍ଡୁଳିସ୍ଥିତ ସିଆଇଏସଏଫ (CISF) ର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ।
ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ଜଟଣୀଠାରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ (NFSU) ଏବଂ କେନ୍ଦ୍ରୀୟ ଫୋରେନ୍ସିକ୍ ବିଜ୍ଞାନ ପରୀକ୍ଷାଗାର (CFSL) ର ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବେ। ଏହାସହ ଆଭାସୀ (Virtual) ମାଧ୍ୟମରେ ଏନଏଫଏସୟୁ ଟ୍ରାନଜିଟ୍ କ୍ୟାମ୍ପସର ଶୁଭ ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଭୁବନେଶ୍ୱର ଇଡକୋ ପ୍ରଦର୍ଶନୀ ପଡ଼ିଆରେ ‘ନବୀନ ନ୍ୟାୟ ସଂହିତା’ ପ୍ରଦର୍ଶନୀକୁ ଉଦ୍ଘାଟନ କରିବା ସହ ସମବାୟ ଓ ଅନ୍ୟାନ୍ୟ ବିଭାଗର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ।
କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ୍ ପରିଚାଳନା ଏବଂ ରୁଟ୍ ପ୍ଲାନ ସମ୍ପର୍କରେ ବୈଠକରେ ବିସ୍ତୃତ ଆଲୋଚନା ହୋଇଛି। ବିଶେଷ କରି ଗୋଡ଼ିସାହିରୁ ମୁଣ୍ଡୁଳି ରାସ୍ତାର ମରାମତି, ଆଲୋକୀକରଣ ଏବଂ ସୌନ୍ଦର୍ଯ୍ୟକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗକୁ ପାରସ୍ପରିକ ସମନ୍ୱୟ ରଖି ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରସ୍ତୁତି ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଗୃହ, ଶିଳ୍ପ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ପ୍ରସ୍ତୁତି ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଏହି ବୈଠକରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି. ଖୁରାନିଆ, ସମବାୟ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ, ବିଏମସି କମିଶନର, ଖୋର୍ଦ୍ଧା ଓ କଟକ ଜିଲ୍ଲାପାଳଙ୍କ ସମେତ ବରିଷ୍ଠ ପୋଲିସ ଓ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ।