
ସୁନ୍ଦରଗଡ଼, ୨୫/୦୩/୨୬: ଆଜି ସ୍ଥାନୀୟ ସଦଭାବନା ଭବନଠାରେ ଅତିରିକ୍ତ ଜିଲ୍ଲାପାଳ ସୂରଜ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
ବୈଠକର ନିଷ୍ପତି ଅନୁଯାୟୀ ଏହି ଦିବସ ପାଳନ ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଓଡ଼ିଆ ପ୍ରବନ୍ଧ, ଓଡ଼ିଆ ବକ୍ତୃତା, ଦେଶାତ୍ମବୋଧକ ସଙ୍ଗୀତ ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା ଏବଂ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଓଡ଼ିଆ ପ୍ରବନ୍ଧ ଓ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଆୟୋଜିତ ହେବ। ସେହିଭଳି ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପ୍ରଭାତଫେରି କରାଯିବ। ଓଡ଼ିଶା ଦିବସ ଉପଲକ୍ଷେ ସହର ମଧ୍ୟରେ ଡାକବାଜି ଯନ୍ତ୍ର ମାଧ୍ୟମରେ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ କରାଯିବ ଏବଂ ସମସ୍ତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି ମାନଙ୍କରେ ଜିଲ୍ଲା ପ୍ରଶାସନ ପକ୍ଷରୁ ପୁଷ୍ପମାଲ୍ୟ ଅର୍ପଣ କରାଯିବ। ସେହିଭଳି ଜିଲ୍ଲାର ବିଭିନ୍ନ ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ ଆଦି ମଧ୍ୟରେ ଥିବା ବରପୁତ୍ର ମାନଂକ ପ୍ରତିମୂର୍ତ୍ତି ରେ ସଂପୃକ୍ତ ଅନୁଷ୍ଠାନ ର ମୁଖ୍ୟଙ୍କ ଦ୍ଵାରା ପୁଷ୍ପମାଲ୍ୟ ଅର୍ପଣ କରାଯିବ। ଏହି ଦିବସ ଅବସରରେ ସମସ୍ତ ସରକାରୀ କାର୍ଯ୍ୟାଳୟ ଗୁଡ଼ିକ ଆଲୋକରେ ସାଜସଜ୍ଜା କରିବାକୁ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।
ସ୍ଥାନୀୟ ସଂସ୍କୃତି ଭବନ ଠାରେ ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ସମାରୋହ ଅନୁଷ୍ଠିତ ହେବ। ଏହି ଅବସରରେ ଏକ ସାଧାରଣ ସଭା ଆୟୋଜିତ ହେବା ସହିତ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯିବ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେବ ।

ଆଜିର ଏହି ପ୍ରସ୍ତୁତି ବୈଠକରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ତେଜସ୍ୱିନୀ ବେହେରା ତଥା ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଏବଂ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ଥିଲେ। ବୈଠକରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ ସ୍ବାଗତ ଅଭିଭାଷଣ ପ୍ରଦାନ କରିବା ସହିତ ଓଡ଼ିଶା ଦିବସ ଅବସରରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଉପସ୍ଥାପନା କରିଥିଲେ।