
ବୀରମିତ୍ରପୁର (ନିସର୍ତ୍ତ ନ୍ୟୁଜ) : ସୁନ୍ଦରଗଡ଼ ଜିଲ୍ଲା କିଞ୍ଜିରକେଳା ଥାନା ଅଧୀନସ୍ଥ ପାତିକିଜୋର ରାସ୍ତା ମୁହାଣୀ ନିକଟରେ ଆଜି ମଧ୍ୟାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ବୋଲେରୋ ଓ କମାଣ୍ଡର ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଆଜି ଅପରାହ୍ନ ପ୍ରାୟ ୧:୩୦ ସମୟରେ ରିମଝିମ ବର୍ଷା ହେଉଥିବା ବେଳେ ଉଭୟ ଗାଡ଼ିର ଚାଳକ ବେପରୁଆ ଭାବେ ଗାଡ଼ି ଚଲାଉଥିଲେ। ଫଳରେ ପାତିକିଜୋର ମୁହାଣୀଠାରେ ଗାଡ଼ି ଦୁଇଟି ମଧ୍ୟରେ ଜୋରଦାର ଧକ୍କା ହୋଇଥିଲା। ଦୁର୍ଘଟଣା ଏତେ ଭୟାବହ ଥିଲା ଯେ ଘଟଣାସ୍ଥଳରେ ହିଁ ରୋହିତ ତନ୍ତି ଓ ଶିବ କୁମାରଙ୍କର ମୃତ୍ୟୁ ଘଟିଥିଲା।
ଦୁର୍ଘଟଣା ପରେ ଶିବଙ୍କ ସ୍ତ୍ରୀ ପାର୍ବତୀଙ୍କୁ ଗୁରୁତର ଅବସ୍ଥାରେ ସୁନ୍ଦରଗଡ଼ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମଧ୍ୟ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଅପରପକ୍ଷରେ, ବୋଲେରୋ ଚାଳକଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ତାଙ୍କୁ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି।
ଖବର ପାଇ କିଞ୍ଜିରକେଳା ଥାନା ପୋଲିସ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଦୁର୍ଘଟଣାଗ୍ରସ୍ତ ଉଭୟ ଗାଡ଼ିକୁ ଜବତ କରିଛି। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଥିବା ସୂଚନା ଦେଇଛି।
