ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳରେ ବର୍ଷା ସହ ପ୍ରବଳ ପବନ ବହିବା ନେଇ ସତର୍କତା ଜାରି କଲା IMD

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ରକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ (IMD) ଆଗାମୀ ୪୮ ଘଣ୍ଟା ପାଇଁ ପବନ ସମ୍ବନ୍ଧୀୟ ସତର୍କତା ଜାରି କରିଛି। IMD ଅନୁଯାୟୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ବାଂଲାଦେଶ, ପଶ୍ଚିମବଙ୍ଗ, ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବ। ତେବେ ଏହା ୬୦ କିଲୋମିଟର ପର୍ଯ୍ୟନ୍ତ ମଧ୍ୟ ପହଞ୍ଚିବାର ସମ୍ଭାବନା ରହିଛି। ଏହା ବ୍ୟତୀତ ଏହି ସମୟ ମଧ୍ୟରେ ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ପ୍ରବଳ ଅଶାନ୍ତ ରହିବାର ସମ୍ଭାବନା ରହିଛି।

ପ୍ରତିକୂଳ ପାଣିପାଗ ସ୍ଥିତିକୁ ଦୃଷ୍ଟିରେ ରଖି IMD ମତ୍ସ୍ୟଜୀବୀମାନଙ୍କୁ ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ବାଂଲାଦେଶ, ପଶ୍ଚିମବଙ୍ଗ, ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ଅଞ୍ଚଳକୁ ନ ଯିବାକୁ ପରାମର୍ଶ ଦେଇଛି। ଉଲ୍ଲେଖଯୋଗ୍ୟ, ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ad-week
Leave A Reply

Your email address will not be published.