
ପୁରୀ: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୁରୀ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା । ଯାହାଫଳରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।
ପ୍ରବଳ ବର୍ଷା ଓ ଅଶାନ୍ତ ସମୁଦ୍ର ହେତୁ ତଳିଆ ଅଞ୍ଚଳର ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପ୍ରଶାସନ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏଥିସହ ଜିଲ୍ଲାରେ ଥିବା ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀଗୁଡ଼ିକୁ ପ୍ରସ୍ତୁତ ରଖାଯାଇଥିବା ବେଳେ ପର୍ଯ୍ୟାପ୍ତ ପରିମାଣର ଶୁଖିଲା ଖାଦ୍ୟ ମଧ୍ୟ ମହଜୁଦ ରଖାଯାଇଛି ।
ଅନ୍ୟପଟେ, ବାରମ୍ବାର ବାତ୍ୟାର ସମ୍ମୁଖୀନ ହେଉଥିବା ପୁରୀର ମତ୍ସ୍ୟଜୀବୀମାନେ ପୁଣି ଏକ ବାତ୍ୟା ଆସୁଥିବା ଖବର ପାଇ ନିଜ ନିଜର ଡଙ୍ଗା ଓ ଜାଲକୁ ସୁରକ୍ଷିତ ସ୍ଥାନକୁ ଆଣି ରଖିଛନ୍ତି ।
