କାଳବୈଶାଖୀ ସମ୍ଭାବନା, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

add-all

ଭୁବନେଶ୍ୱର: ଆସନ୍ତା ୯ ତାରିଖ ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ପାଣିପାଗ ବିଭାଗ ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ରାଜ୍ୟର କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ଜନିତ କାଳବୈଶାଖୀ ହେବାର ସମ୍ଭାବନା ରହଥିବାରୁ ଏହି ୭ଟି ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ମଧ୍ୟ ପରାମର୍ଶ ଦିଆଯାଇଛି । ସେହିପରି କାଳବୈଶାଖୀକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ସ୍ୱତନ୍ତ୍ର ରିଲଫ୍ କମିଶନର ପ୍ରଦୀପ ଜେନା ଶୁକ୍ରବାର ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଘଡ଼ଘଡ଼ି ଓ ବଜ୍ରପାତ ନେଇ କୋରାପୁଟ୍‌, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଓଡ଼ିଶାକୁ ପ୍ରବେଶ କରୁଥିବା ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିବା ଫଳରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ କାଳବେଶାଖୀ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି । ସେହପିରି ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ବଢ଼ିବ । ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବ ବୋଲି ଆକଳନ କରାଯାଇଛି । ବିଶେଷ କରି ବଲାଙ୍ଗିର, ଟିଟିଲାଗଡ଼, ଝାରସୁଗୁଡ଼ା, ବୌଦ୍ଧରେ ତାପମାତ୍ରା ବୃଦ୍ଧି ପାଇବ । ଶୁକ୍ରବାର ରାଜ୍ୟର ୫ଟି ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା । ସେଥିରୁ ବୌଦ୍ଧର ତାପମାତ୍ରା ସର୍ବାଧିକ ୪୧ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ବାରିପଦାରେ ତାପମାତ୍ରା ୪୦ଡିଗ୍ରୀ, ତାଳଚେର ୪୦.୨ ଡିଗ୍ରୀ, ସୁବର୍ଣ୍ଣପୁର ୪୦.୪ ଡିଗ୍ରୀ ଏବଂ ଅନୁଗୁଳର ତାପମାତ୍ରା ୪୦.୭ ଡିଗ୍ରୀ ରେକର୍ଡ କରାଯାଇଛି । ଭୁବନେଶ୍ୱରର ପାରଦ ୩୭.୨ ଡିଗ୍ରୀ ଥିବାବେଳେ କଟକରେ ୩୬.୫ ଡିଗ୍ରୀ ରେକର୍ଡ କରାଯାଇଛି ।

ad-week
Leave A Reply

Your email address will not be published.