ଓଡ଼ିଶାର ୧୧ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ୟେଲୋଓ୍ଵାର୍ଣ୍ଣିଂ ଜାରି

add-all

ଭୁବନେଶ୍ୱର: ସଂପ୍ରତି ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଉପକୂଳ ଓଡ଼ିଶାରେ ଅସହ୍ୟ ଗୁଳୁଗୁଳି ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଏ ପରିସ୍ଥିତିରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୬ ତାରିଖ ସୋମବାର ମଧ୍ୟାହ୍ନ ସୁଦ୍ଧା ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଥିବା ବେଳେ ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳ ଗୀଷ୍ମ ପ୍ରବାହ ଜାରି ରହିବ ବୋଲି ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ରାଜ୍ୟର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ଢ଼େଙ୍କାନାଳ, କଟକ, ଅନୁଗୁଳ, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୧ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ପଶ୍ଚିମ ଓଡ଼ିଶାର ବଲାଙ୍ଗୀର, ବୌଦ୍ଧ, ସୋନପୁର ଓ ବରଗଡ ପ୍ରଭୃତି ୪ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ଗ୍ରାଷ୍ମ ଲହରି ପ୍ରବାହିତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକଙ୍କ ପ୍ରତି ବିଶେଷ ଦୃଷ୍ଟି ରଖିବା ସହ ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପଦକୁ ଖରାରେ ନବାହାରିବାକୁ ପରାମର୍ଶ ଦିଆଯାଇଛି।

ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ଢ଼େଙ୍କାନାଳ, କଟକ, ଅନୁଗୁଳ, କୋରାପୁଟ, ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ତେବେ, ଆସନ୍ତା ୫ ଦିନ ପର୍ଯ୍ୟନ୍ତ, ଅର୍ଥାତ୍‌ ଜୁନ୍‌ ୯ ତାରିଖ ଗୁରୁବାର ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ଏହିପରି କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ad-week
Leave A Reply

Your email address will not be published.