
ନୂଆଦିଲ୍ଲୀ: ବିଗତ ୧୫୨ ଦିନ ପରେ ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ସାଢ଼େ ୨୧ ହଜାର ଅତିକ୍ରମ କରିଯାଇଛି। ଆଜି ଦୈନିକ ପଜିଟିଭିଟି ହାର ୪.୨% ଥିବା ବେଳେ ସାପ୍ତାହିକ ପଜିଟିଭିଟି ହାର ୪.୫୧% ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୧,୫୬୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୫ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୧,୫୬୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪, ୪୮,୩୮,୮୮୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୪୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୫,୮୭୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୮,୨୯୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୧,୫୦୪,୩୪। ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୪୮,୮୮୧ ପହଞ୍ଚିଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୦,୯୧,୯୧,୯୬୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୭,୧୧,୬୦,୮୪୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୫,୦୭,୩୬୦ଟି ନମୁନା।