ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେବ ଶେଷକୃତ୍ୟ

add-all

ଜଗତସିଂହପୁରର ପୂର୍ବତନ ସାଂସଦ ତଥା ବିଶିଷ୍ଟ ଶିକ୍ଷାବିତ୍ ଓ ଅର୍ଥନୀତିଜ୍ଞ  ତ୍ରିଲୋଚନ କାନୁନଗୋଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା।

ତ୍ରିଲୋଚନ କାନୁନଗୋ ମାର୍ଚ୍ଚ ୩୦ ତାରିଖରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଆଜି ସକାଳ ପ୍ରାୟ ୭ଟାରେ ସମୟରେ ତାଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି।

ତ୍ରିଲୋଚନ କାନୁନଗୋ କଟକ ପୌରପାଳିକାର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରି ବେଶ୍ ଲୋକପ୍ରିୟତା ହାସଲ କରିଥିଲେ। ଅଡଶପୁରସ୍ଥିତ ୟୁଏନ୍ କଲେଜର ପରିଚାଳନା ସମିତିର ସେ ଅଧ୍ୟକ୍ଷ ଭାବେ ଭୂମିକା ନିର୍ବାହ କରୁଥିଲେ। ଏହାସହ ରାଜ୍ୟ ଅର୍ଥ କମିଶନର ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ । ଜଗତସିଂହପୁର ଲୋକସଭା ଆସନରୁ ସେ ୧୯୯୯ ମସିହାରେ ବିଜୁ ଜନତା ଦଳ ଟିକେଟରେ ନିର୍ବାଚିତ ହୋଇଥିଲେ। ସେ ୩ ଥର ବିଧାୟକ ଓ ଥରେ ସାଂସଦ ନିର୍ବାଚିତ ହୋଇଥିଲେ।

ତ୍ରିଲୋଚନ କାନୁନଗୋ ୧୯୪୦ ମସିହା ନଭେମ୍ବର ୨୪ ତାରିଖରେ କଟକ ଜିଲ୍ଲା ବଡ଼ମୂଳେଇ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ସେ କଟକର ଶେଖ୍ ବଜାରରେ ଗତ କିଛି ବର୍ଷ ହେବ ରହି ଆସୁଥିଲେ।

ତ୍ରିଲୋଚନ କାନୁନଗୋଙ୍କ ବିୟୋଗରେ ବିଭିନ୍ନ ବ୍ୟକ୍ତି ବିଶେଷ ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଗଭୀର ଶୋକପ୍ରକାଶ କରିଛନ୍ତି।  ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ ପରିବାର ସଦସ୍ୟଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି । ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସ୍ଵର୍ଗତଃ କାନୁନଗୋଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ad-week
Leave A Reply

Your email address will not be published.